Quantum Mirror

କୋଭିଡ ମୁକାବିଲା ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା କଟକ-ଭୁବନେଶ୍ବରରେ ଅଧିକ ଆମ୍ବୁଲାନସ୍‌ ମୁତୟନ, ଅଧିକ ICU Bed

କୋଭିଡ ମୁକାବିଲା ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା କଟକ-ଭୁବନେଶ୍ବରରେ ଅଧିକ ଆମ୍ବୁଲାନସ୍‌ ମୁତୟନ, ଅଧିକ ICU Bed

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନାର ସମୀକ୍ଷା କରିଥିଲେ। ରାଜ୍ୟରେ କୋଭିଡରୁ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ଟପି ଥିବାରୁ ମୁଖ୍ୟମନ୍ତ୍ରୀ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ପଜିଟିଭ ସଂଖ୍ୟା ଅଧିକ ଥିବାରୁ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ କରିବା ସହ ସଚେତନତା କାର୍ଯ୍ୟକ୍ରମ ଏବଂ କୋଭିଡ ନିୟମାବଳୀର କଡାକଡି ପାଳନ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ପରିସ୍ଥିତିକୁ ଦୃଷ୍ଟିରେ ରଖି କଟକ-ଭୁବନେଶ୍ବରରେ ଗୁରୁତର ରୋଗୀମାନଙ୍କ ପାଇଁ ଅଧିକ ICU ବେଡ୍‌ ବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ତାସହିତ ଏହି ଦୁଇ ସହରରେ ଅଧିକ ଆମ୍ବୁଲାନ୍‌ସ ମୁତୟନ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଆଗାମୀ ସପ୍ତାହରେ ଭୁବନେଶ୍ବର-କଟକରେ ପରିସ୍ଥିତିରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

କୋଭିଡକୁ ନିୟନ୍ତ୍ରଣ କରିବାରେ ସାମାଜିକ ଦୂରତା, ମାସ୍କ ପିନ୍ଧିବା ଏବଂ ସର୍ବସାଧାରଣ ସ୍ଥାନରେ ଛେପ ନ ପକାଇବା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ଅଟେ। ସେହିପରି ଛୋଟ ଦୋକାନୀ ଓ ଉଠା ଦୋକାନୀମାନେ ମଧ୍ୟ କୋଭିଡ ନିୟମାବଳୀ ଉଲଙ୍ଘନ କରୁଥିବା ନଜରକୁ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିବା ସହିତ ପୋଲିସ, ସ୍ବାସ୍ଥ୍ୟ ବିଭାଗ ଏବଂ ପୌରସଂସ୍ଥା ପରସ୍ପର ସମନ୍ବୟ ରଖି ନିୟମାବଳୀ କଡାକଡି ପାଳନ ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଅନେକ ଲୋକ ନିୟମାବଳୀ ଠିକ୍‌ ଭାବରେ ପାଳନ କରୁଥିବା ବେଳେ କିଛି ଲୋକଙ୍କ ତ୍ରୁଟି ଯୋଗୁ ସଂକ୍ରମଣ ବ୍ୟାପୁଥିବାରୁ ଏହାକୁ କଦାପି ବରଦାସ୍ତ କରାଯାଇପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ।

ଗଞ୍ଜାମ, ସୁନ୍ଦରଗଡ, ଗଜପତି ଓ କୋରାପୁଟରେ କୋଭିଡ ସ୍ଥିତିରେ ଉନ୍ନତି ଆସିଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଏବଂ ବ୍ରହ୍ମପୁର ମଡେଲ ଅନୁସରଣ କରିବା ପାଇଁ କଟକ-ଭୁବନେଶ୍ବର ପୌର ପ୍ରଶାସନ ସମେତ ଯାଜପୁର, ବରଗଡ, ଖୋର୍ଦ୍ଧା ଓ କଟକ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ।
ଯେଉଁ ଜିଲ୍ଲା ମାନଙ୍କରେ କୋଭିଡ ସ୍ଥିତିରେ ଉନ୍ନତି ଆସିଛି, ସେଠାରେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ମାନେ TMC, Covid Care Centre ଏବଂ Covid Care Home ବନ୍ଦ କରିବାପାଇଁ ନିଷ୍ପତ୍ତି ନେଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେହିପରି ଘରୋଇ ଡାକ୍ତରଖାନାରେ କୋଭିଡ ରୋଗୀଙ୍କ ପାଇଁ ଅଧିକ ଶଯ୍ୟା ସଂରକ୍ଷିତ ରଖିବା, ଡାକ୍ତରଖାନା ଗୁଡିକରେ ଗୁଣାତ୍ମକ ସେବା ଯୋଗାଇବା ଏବଂ ଗୃହ ସଂଗରୋଧରେ ଥିବା ରୋଗୀମାନଙ୍କ ଚିକିତ୍ସା ତଦାରଖ କରିବା, ଗୋଷ୍ଠୀକୁ ସାଥିରେ ନେଇ ବିଭିନ୍ନ ଜୋନ୍ଭିତ୍ତିକ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ବିଭିନ୍ନ ସରକାରୀ କର୍ମଚାରୀ ମାନେ ସଂକ୍ରମିତ ହେଉଥିବା ଖବରରେ ମୁଖ୍ୟମନ୍ତ୍ରୀ ଉଦ୍ବେଗ ପ୍ରକାଶ କରିବା ସହିତ ସରକାରୀ ଅଫିସରେ କୋଭିଡ ନିୟମାନବଳୀକୁ ଆହୁରି କଡାକଡି ପାଳନ କରିବାପାଇଁ ପରାମର୍ଶ ଦେଇଥିଲେ।

ହଟ୍ସ୍ପଟ୍ ଜିଲ୍ଲାକୁ ଅଧିକ ଡାକ୍ତର ଏବଂ ପ୍ରଶାସନିକ ଅଧିକାରୀ ପଠାଯିବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଥିଲେ।
କୋଭିଡ ପରିଚାଳନା ସଂପର୍କରେ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ କହିଥିଲେ ଯେ ବର୍ତ୍ତମାନ ରାଜ୍ୟରେ ଆରୋଗ୍ୟ ହାର ୭୭.୮ ପ୍ରତିଶତ ରହିଛି, ଯାହାକି ଜାତୀୟ ହାର ଠାରୁ ସାମାନ୍ୟ ଅଧିକ। ସେହିପରି ମୃତ୍ୟୁ ହାର ସାରା ଦେଶରେ ସର୍ବନିମ୍ନ ରହିଛି ଏବଂ ଏହା ୦.୪୩ ପ୍ରତିଶତ । ଗୁରୁତର ରୋଗୀଙ୍କ ପାଇଁ Step-down ICU ସୁବିଧା କରାଯିବ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଥିଲେ। ଖୋର୍ଦ୍ଧା ଓ କଟକ ଜିଲ୍ଲାର ପର୍ଯ୍ୟବେକ୍ଷକ ଦ୍ବୟ ଏବଂ ଭୁବନେଶ୍ବର-କଟକ ମ୍ୟୁନିସପାଲ କର୍ପୋରେସନର କମିଶନର ଦ୍ବୟ କୋଭିଡ ପରିସ୍ଥିତ ସଂପର୍କରେ ବିସ୍ତୃତ ଉପସ୍ଥାପନା କରିଥିଲେ ଏବଂ ପରିସ୍ଥିତିରେ ଉନ୍ନତି ପରିଲକ୍ଷିତ ହେଉଛି ବୋଲି କହିଥିଲେ।

ଆଲୋଚନାରେ ଅନ୍ୟ ମାନଙ୍କ ମଧ୍ୟରେ ପୋଲିସ ମହାନିର୍ଦ୍ଦେଶକ, ଭୁବନେଶ୍ବର-କଟକର ପୋଲିସ କମିଶନର କୋଭିଡ ନିୟମ କଡାକଡି ପାଳନ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ। ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଉନ୍ନୟନ କମିଶନର, ସ୍ବତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବରାଷ୍ଟ୍ର ବିଭାଗର ପ୍ରମୁଖ ସଚିବ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ବୈଠକ ସଂଚାଳନା କରିଥିଲେ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×