ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା

ଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ଦାରୁ ଦିଅଁଙ୍କ ଦିବ୍ୟ ସ୍ନାନ । ସଜେଇ ହୋଇଛି ସ୍ନାନବେଦୀ । ଆଜି ସ୍ନାନ ବେଦୀରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଏଥିପାଇଁ ଆରମ୍ଭ ହୋଇସାରିଛି ବ୍ୟାପକ ପ୍ରସ୍ତୁତି । ଭୋର ୫ଟାରୁ ଆରମ୍ଭ ହୋଇଛି ପହଣ୍ଡି । ତିନି ଠାକୁରଙ୍କ ପହଣ୍ଡି ବିଜେ ଶେଷ ପରେ ପୂର୍ବାହ୍ନ ୯ଟା ୧୦ରେ ମଙ୍ଗଳଆଳତି ହେବ । ମଧ୍ୟାହ୍ନ ୧୨ଟା ୨୦ରୁ ଅପରାହ୍ନ ୧ଟା ୪୫ ଭିତରେ ଜଳବିଜେ, ପୂଜା ଓ ସ୍ନାନ ନୀତି ଅନୁଷ୍ଠିତ ହେବ । ଅପରାହ୍ନ ୩ଟାରେ ଗଜପତି ମହାରାଜା ଛେରା ପହଁରା କରିବାପରେ ଅପରାହ୍ନ ୩ଟା ୪୦ରେ ଗଜବେଶ ଆରମ୍ଭ ହେବ । ରାତି ସାଢ଼େ ୭ଟାରୁ ଭକ୍ତଙ୍କ ସାହାଣମେଲା ଦର୍ଶନ ଆରମ୍ଭ ହେବ । ରାତି ସାଢ଼େ ୧୦ଟାରେ ସାହାଣମେଲା ଦର୍ଶନ ବନ୍ଦ ପରେ ରାତି ୧୧ଟାରେ ବେଶ ଓଲାଗି ଓ ସାଢ଼େ ୧୧ଟାରେ ବାହୁଡ଼ା ପହଣ୍ଡି ଆରମ୍ଭ ହେବ । ଗୋଟି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହ ଅଣସର ପିଣ୍ଡିକୁ ବିଜେ କରିବେ । ବାହୁଡ଼ା ପହଣ୍ଡି ରାତି ୨ଟା ଭିତରେ ଶେଷ ହେବ । ପରେ ରାତି ସାଢ଼େ ୨ଟାରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି ହେବ ।